ଜାଣନ୍ତୁ ଦଣ୍ଡନାଚର ମହତ୍ତ୍ବ !

ପ୍ରତିବର୍ଷ ଚୈତ୍ର ମାସରେ ଆରମ୍ଭ ହୋଇଥାଏ ଦଣ୍ଡଯାତ୍ରା । ବୌଦ୍ଧ ଜିଲ୍ଲାରେ କିପରି ଚାଲିଛି ଦଣ୍ଡଯାତ୍ରା ଆସନ୍ତୁ ଦେଖିବା ଆମର ଏଇ ରିପୋର୍ଟ । ବୌଦ୍ଧ ଜିଲ୍ଲାରେ ଦଣ୍ଡଯାତ୍ରା ବେଶ୍ ଧୁମ୍ ଧାମର ସହ ପାଳନ କରାଯାଏ । ଏହି ପର୍ବରେ ମିଶିଥିବା ଭକ୍ତଙ୍କୁ ଦଣ୍ଡୁଆ ବା ଭୋକ୍ତା କୁହାଯାଏ । ଭୋକ୍ତାମାନେ ବହୁ କଷ୍ଟ କରି ଶରୀରକୁ ଦଣ୍ଡ ଦେଉଥିବାରୁ ଏହାକୁ ଦଣ୍ଡନାଚ କୁହାଯାଏ । ଦଣ୍ଡ ନାଚରେ ମିଶିବାଦ୍ୱାରା ମା’କାଳୀଙ୍କ କୃପାରୁ ପାପ ଓ ଦୁଖ ଦୂର ହୋଇ ମାନବ ଶାନ୍ତି ଓ ଧନ ପ୍ରାପ୍ତ ହୁଏ ବୋଲି ବିଶ୍ୱାସକରି ଓଡ଼ିଶାବାସୀ ଏହି ପର୍ବକୁ ପାଳନ କରିଥାଆନ୍ତି । ଦଣ୍ଡନାଚରେ ୧୩ଜଣ ମୁଖ୍ୟଭୋକ୍ତା ଥାଆନ୍ତି, ଏହି ୧୩ଜଣ ତେର ବର୍ଷ ପାଇଁ ଅଂଶଗ୍ରହଣ କରିବାକୁ ବାଧ୍ୟ । ସେମାନଙ୍କ ମଧ୍ୟରେ ଜଣେ ପାଟଭୋକ୍ତା ଥାଆନ୍ତି । ଭୋକ୍ତାମାନଙ୍କ ପାଇଁ କଠିନ ଆଚରଣ, ନିଷ୍ଠା ଏବଂ ତ୍ୟାଗର ବିଧିବିଧାନ ରହିଛି । ଭୋକ୍ତାମାନେ ଯେଉଁ ୧୬ପ୍ରକାର ଦଣ୍ଡ ପରମ୍ପରା ଅନୁସାରେ ଗ୍ରହଣ କରନ୍ତି ସେଗୁଡ଼ିକ ହେଲା: ଆହାର, ଉଜାଗର (ନିଦ୍ରା), ମୈଥୁନ ତ୍ୟାଗ, ଗୃହତ୍ୟାଗ, ପଦଗମନ, ଶ୍ମଶାନ, ନୃତ୍ୟ, ଧୂଳି, ପାଣି, ଅଗ୍ନି, ଗୃହଦଣ୍ଡ, ଅଙ୍ଗବଳୀ, ମେରୁପଟା (କଣ୍ଟା ଫୋଡ଼ିବା), ଶୁଦ୍ଧିକ୍ରିୟା, କୁଳଭୋଜି, ଅଗ୍ନି ପରିକ୍ଷା (ଅଗ୍ନିରେ ଚାଲିବା) ।

ଲିଆ, ପଣା ତଥା ମୁଗସିଝା ଏମାନଙ୍କର ଖାଦ୍ୟ । ଭୋକ୍ତାମାନେ ଶିବ, ପାର୍ବତୀ, କାଳୀ, କଳସ, ବେତ, ଛତ୍ର, ବାନା, ଆଲଟ, ଚାମର, ଘଣ୍ଟ, ଢୋଲ, ମହୁରୀ, ଶଙ୍ଖ, ତୁରୀ ଧରି ଗାଁକୁ ଗାଁ ବୁଲନ୍ତି । ମାନସିକ କରିଥିବା ବ୍ୟକ୍ତି ସେମାନଙ୍କୁ ନିମନ୍ତ୍ରଣ କରନ୍ତି । ଷୋହଳ ସୁଆଙ୍ଗ ଦଣ୍ଡନାଚର ମୁଖ୍ୟ ଆକର୍ଷଣ । ଯଜମାନଙ୍କ ମନସ୍କାମନା ପୂର୍ଣ୍ଣ ପାଇଁ ପ୍ରାର୍ଥନା କରି ପାଣିଦଣ୍ଡ, ଧୂଳି ଦଣ୍ଡ, ବଜ୍ର ଦଣ୍ଡ, ଅଗ୍ନି ଦଣ୍ଡ, ନୃତ୍ୟ ଦଣ୍ଡ ଆଦି ବରଣ କରନ୍ତି । ପ୍ରଚଣ୍ଡ ଖରାରେ ତତଲା ବାଲି ଉପରେ ଗଡ଼ି, ପିରାମିଡ଼ କରି ଭୋକ୍ତାମାନେ ପାଣିଦଣ୍ଡ ନୃତ୍ୟ ପରିବେଷଣ କରନ୍ତି । ଶିବ ପାର୍ବତୀ, ଯୋଗିଯୋଗିଆଣୀ, କେଳା କେଳୁଣୀ, ଶବର ଶବରୁଣୀ, ହାଡ଼ି ହାଡ଼ିଆଣୀ, ଚଢ଼େୟା ଚଢ଼େୟାଣୀ, ବୀଣାକାର ଇତ୍ୟାଦି ସୁଆଙ୍ଗ ଦର୍ଶକମାନଙ୍କୁ ଆକୃଷ୍ଟ କରେ । ସୁଆଙ୍ଗବେଳେ ଚରିତ୍ରକୁ ଚାହିଁ ବେଶ ପୋଷାକ ପିନ୍ଧିଥାନ୍ତି ।

ପୌରାଣିକ, କୃଷିଭିତ୍ତିକ ଏବଂ ସାଧାରଣ ଜୀବନ ଦର୍ଶନର ପ୍ରଭାବ ଦଣ୍ଡନାଟ ସୁଆଙ୍ଗରେ ଦେଖିବାକୁ ମିଳିଥାଏ । ଏଥିରେ ଅତି ସରଳ ଗ୍ରାମୀଣ ଭାଷା ବ୍ୟବହାର କରାଯାଇଥାଏ । ବିଷୁବ ସଂକ୍ରାନ୍ତି ଦିନ ଦଣ୍ଡନାଚ ଶେଷ ହୁଏ । ଏହି ଶେଷଦିନକୁ ମେରୁ ପୂଜା କୁହାଯାଏ । ପ୍ରଜ୍ଜ୍ୱଳିତ ଅଗ୍ନି ଉପରେ ମେରୁ ଖୁଣ୍ଟରେ ଝୁଲି ପାଟଭୋକ୍ତା ଭକ୍ତମାନଙ୍କ ପାଇଁ ଶାରିରୀକ କଷ୍ଟ ଗ୍ରହଣ କରନ୍ତି । ଘଣ୍ଟ, ଝାଞ୍ଜ ଓ ଢୋଲ ଇତ୍ୟାଦି ବାଦ୍ୟଯନ୍ତ୍ର ବାଜୁଥିବା ବେଳେ ଭୋକ୍ତାମାନଙ୍କ କଳାରୁଦ୍ରମଣିକି ଭଜ ହେ ଧ୍ୱନି ଶ୍ରଦ୍ଧାଳୁଙ୍କ ମନରେ ଭୟ ମିଶ୍ରିତ ଭକ୍ତି ଭାବ ସୃଷ୍ଟି କରିଥାଏ । ଏହାର ପରଦିନ କୁଳଭୋଜି ହୁଏ, ସମସ୍ତେ ଏକାଠି ବସି ଖାଆନ୍ତି ଓ ନିଜ ନିଜର ଶୁଦ୍ଧିକ୍ରିୟା କରି ଭୋକ୍ତାମାନେ ଘରକୁ ବାହୁଡ଼ନ୍ତି ।
ବୌଦ୍ଧରୁ ସୁମନ୍ତ ମେହେର