ସତ୍ୟଭାମାପୁରରେ ‘ଉତ୍କଳ ଗୌରବ ମଧୁସୂଦନ ସଂଗ୍ରହାଳୟ ଓ ବ୍ୟାଖ୍ୟାନ କେନ୍ଦ୍ର’ ଲୋକାର୍ପିତ

ଉତ୍କଳ ଗୌରବ ମଧୁସୁଦନ ଦାସଙ୍କ ପବିତ୍ର ଜୟନ୍ତୀ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧୁବାବୁଙ୍କ ଜନ୍ମସ୍ଥାନ ସତ୍ୟଭାମାପୁରରେ ‘ଉତ୍କଳ ଗୌରବ ମଧୁସୂଦନ ସଂଗ୍ରହାଳୟ ଓ ବ୍ୟାଖ୍ୟାନ କେନ୍ଦ୍ର’ ଲୋକାର୍ପିତ କରିଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ମଧୁବାବୁ ଥିଲେ ଓଡ଼ିଆ ସ୍ୱାଭିମାନର ପ୍ରତୀକ । ତାଙ୍କ ଜୀବନୀ ହେଉଛି ଓଡ଼ିଆ ସ୍ୱାଭିମାନର ଗୌରବମୟ ଗାଥା । ଭିଡିଓ କନଫରେନ୍ସିଂ ଜରିଆରେ ମୁଖ୍ୟମନ୍ତ୍ରୀ କାର୍ଯ୍ୟକ୍ରମରେ ଯୋଗ ଦେଇ ଉତ୍କଳ ଗୌରବଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ । ସତ୍ୟଭାମାପୁର ସବୁ ଓଡ଼ିଆଙ୍କ ପାଇଁ ଏକ ତୀର୍ଥ କ୍ଷେତ୍ର ବୋଲି ମୁଖ୍ୟମନ୍ତ୍ରୀ ମତ ପ୍ରକାଶ କରିବା ସହ ଏହି ସଂଗ୍ରହାଳୟ ବିଶେଷ କରି ଯୁବ ପିଢିଙ୍କୁ ଓଡିଆ ସ୍ବାଭିମାନର ସୁରକ୍ଷା ପାଇଁ ପ୍ରେରଣା ପ୍ରଦାନ କରିବ ବୋଲି ମତ ରଖିଥିଲେ ।

ସତ୍ୟଭାମାପୁରକୁ ଏକ ଆଦର୍ଶ ଗ୍ରାମ ରୂପେ ବିକାଶ କରାଯାଉଛି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଏହି ଗ୍ରାମକୁ ଏକ ଗୁରୁତ୍ବପୂର୍ଣ୍ଣ ପର୍ଯ୍ୟଟନସ୍ଥଳ ଭାବରେ ପରିଣତ କରିବା ପାଇଁ ସରକାରଙ୍କ ପଦକ୍ଷେପ ଜାରି ରହିବ । ମଧୁବାବୁଙ୍କ ଆଦର୍ଶରେ ଓଡିଶାକୁ ଶ୍ରେଷ୍ଠ ରାଜ୍ୟ କରିବାପାଇଁ ମିଳିମିଶି କାମ କରିବାକୁ ମୁଖ୍ୟମନ୍ତ୍ରୀ ଆହ୍ବାନ ଦେଇ କହିଥିଲେ ଯେ ମଧୁବାବୁଙ୍କ ଜାତି ପ୍ରୀତି ଓ ତ୍ୟାଗର ତୁଳନା ନାହିଁ । ଓଡ଼ିଆ ଜାତି ପାଇଁ ମଧୁବାବୁ ତାଙ୍କର ସବୁ କିଛି ତ୍ୟାଗ କରିଛନ୍ତି । ତାଙ୍କ ପାଇଁ ଓଡ଼ିଆ ସ୍ୱାଭିମାନ ଥିଲା ସର୍ବୋତ୍ତମ । ତା ସହ ସେ କେବେବି ସାଲିସ କରିନାହାନ୍ତି । ଏ ଜାତି ପାଇଁ ତାଙ୍କର ଅବଦାନ ତାଙ୍କୁ ଓଡ଼ିଆଙ୍କ ହୃଦୟରେ ଯୁଗ ଯୁଗ ପାଇଁ ଅମର କରି ରଖିବ ।

ଓଡିଶାକୁ ମଧୁବାବୁଙ୍କ ଅବଦାନ ଉପରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସ୍ବତନ୍ତ୍ର ଓଡିଶା ପ୍ରଦେଶ ଗଠନରେ ଭାଷାକୁ ଭିତ୍ତିକରି ରାଜ୍ୟ ଗଠନ ପାଇଁ ମଧୁବାବୁଙ୍କ ଉଦ୍ୟମ, ତାଙ୍କର ଦୂରଦୃଷ୍ଟିର ପରିଚୟ ଦିଏ । ସ୍ବାଧୀନତା ପରେ ଭାଷା ସୂତ୍ରରେ ହିଁ ଭାରତର ଅନେକ ରାଜ୍ୟ ଗଠିତ ହୋଇଛି । କିନ୍ତୁ ସେତେବେଳେ ଓଡିଶା ଥିଲା ଭାଷା ଭିତିରେ ଭାରତର ପ୍ରଥମ ରାଜ୍ୟ । କାର୍ଯ୍ୟକ୍ରମରେ ଯୋଗ ଦେଇ ପଞ୍ଚାୟତରାଜ ଓ ପାନୀୟ ଜଳ ମନ୍ତ୍ରୀ ପ୍ରତାପ ଜେନା କହିଥିଲେ ଯେ ମଧୁବାବୁ ଥିଲେ ଓଡ଼ିଆ ଜାତିର ମୂଖ୍ୟ ପୁରୋଧା । ତାଙ୍କ ଜୟନ୍ତୀରେ ମୁଖ୍ୟମନ୍ତ୍ରୀ ମଧୁ ସଂଗ୍ରହାଳୟ ଲୋକାର୍ପିତ କରିଛନ୍ତି । ଯାହା ସାରା ବିଶ୍ୱରେ ଥିବା ଓଡ଼ିଆମାନଙ୍କ ପାଇଁ ଗର୍ବ ଓ ଗୌରବର ଦିନ ।

ସେହିପରି କାର୍ଯ୍ୟକ୍ରମରେ ସାଲେପୁର ବିଧାୟକ ପ୍ରଶାନ୍ତ ବେହେରା ଯୋଗ ଦେଇ କହିଥିଲେ ଯେ ମୁଖ୍ୟମନ୍ତ୍ରୀ ସତ୍ୟଭାମାପୁର ଗାଁର ବିକାଶ ପାଇଁ ଅନେକ ପଦକ୍ଷେପ ନେଇଛନ୍ତି । ସତ୍ୟଭାମାପୁରର ଉନ୍ନତି ପାଇଁ ନିଆଯାଇଥିବା ବିଭିନ୍ନ ପଦକ୍ଷେପ ଉପରେ ସେ ଆଲୋକପାତ କରିଥିଲେ । କାର୍ଯ୍ୟକ୍ରମରେ ଜିଲ୍ଲାପାଳ ଭବାନୀ ଚରଣ ଚଇନି, ସତ୍ୟଭାମାପୁର ମଧୁସୂଦନ ସାଂସ୍କୃତିକ ସଂଘର ସଭାପତି ପ୍ରଶାନ୍ତ କୁମାର ରାଉତ, ଲୋକସେବା ଭବନରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଓ ବରିଷ୍ଠ ଅଧିକାରୀ ମାନେ ଉପସ୍ଥିତ ଥିଲେ । ଏହି ଅବସରରେ ଉତ୍କଳ ଗୌରବ ମଧୁସୂଦନ ସଂଗ୍ରହାଳୟ ଓ ବ୍ୟାଖ୍ୟାନ କେନ୍ଦ୍ର ସଂପର୍କରେ ଏକ କ୍ଷୁଦ୍ର ଚଳଚ୍ଚିତ୍ର ପ୍ରଦର୍ଶିତ ହୋଇଥିଲା । ଏହି ସଂଗ୍ରହାଳୟରେ ମଧୁବାବୁଙ୍କ ଏନ୍ତୁଡ଼ି ଶାଳ, ପିଲା ଦିନର ବିରଳ ଫଟୋ, ଜନ୍ମ ଜାତକ, ଢ଼ିଙ୍କି ଆଦି ବିଭିନ୍ନ ବିରଳ ଜିନିଷ ସ୍ଥାନ ପାଇଛି ।
ସାଲେପୁରରୁ ଅଭୟ ଜେନା