ଆଜି ଶ୍ରୀମନ୍ଦିରରେ ଚତୁର୍ଦ୍ଧା ବିଗ୍ରହଙ୍କ ବନକଲାଗି ନୀତି, ୪ଘଣ୍ଟା ପାଇଁ ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

ପୁରୀ: ଆଜି ଶ୍ରୀମନ୍ଦିରରେ ଚତୁର୍ଦ୍ଧା ବିଗ୍ରହଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଫାଲଗୁନ ମାସ କୃଷ୍ଣପକ୍ଷ ତୃତୀୟା ତିଥିରେ ଶ୍ରୀମନ୍ଦିର ରତ୍ନ ସିଂହାସନରେ ଦାରୁବ୍ରହ୍ମଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଦ୍ୱିତୀୟ ଭୋଗମଣ୍ଡପ ଉଠିବା ପରେ ଦତ୍ତ ମହାପାତ୍ର ସେବକମାନେ ଶ୍ରୀମନ୍ଦିର ଗର୍ଭଗୃହକୁ ପ୍ରବେଶ କରିବା ସହ ମହାପ୍ରଭୁଙ୍କର ଶ୍ରୀମୁଖ ଶୃଙ୍ଗାର କରିବେ । ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ପ୍ରସାଧାନରେ ଶ୍ରୀବିଗ୍ରମାନଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ ।
ହିଙ୍ଗୁଳ, ହରିତାଳ, କସ୍ତୁରୀରେ ପାରମ୍ପରିକ ଶୈଳୀରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ । ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ଆଜି ସଂଧ୍ୟା ୬ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ପ୍ରାୟ ୪ଘଣ୍ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି । ବନକଲାଗି ନୀତି ପରେ ଠାକୁରଙ୍କ ମହାସ୍ନାନ କରାଯିବ । ଏହାପରେ ପୁର୍ନବାର ସର୍ବସାଧାରଣ ଦର୍ଶନ ଅନୁଷ୍ଠିତ ହେବ । ସନ୍ଧ୍ୟା ଆଳତି, ସନ୍ଧ୍ୟାଧୂପ, ବଡ଼ସିଂହାର ବେଶ, ବଡ଼ ସିଂହାର ଭୋଗ ଏବଂ ରାତ୍ରପହୁଡ଼ ହେବାର ବିଧି ରହିଛି ।